November 7, 2024

୧୯ ରେ ଆଉ ଏକ ଲଘୁଚାପ

1 min read

CREATOR: gd-jpeg v1.0 (using IJG JPEG v80), quality = 60

ଭୁବନେଶ୍ୱର : ଗତ ସୋମବାର ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଫଳରେ ଆଗାମୀ ୭ ଦିନ ଯାଏଁ ବର୍ଷାରେ ଭିଜିବ ଓଡ଼ିଶା । ପ୍ରବଳ ବର୍ଷା ନେଇ ଆଜି ପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆଜି ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ମଧ୍ୟ ଏସବୁ ଜିଲ୍ଲା ସମେତ ନବରଙ୍ଗପୁର, ପୁରୀ ଏବଂ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖରେ କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅପରପକ୍ଷେ ମୌସୁମୀ ସିଜିନରେ ଏଯାଏ ରାଜ୍ୟରେ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ୱାଭାବିକ ରହିଛି ବର୍ଷା ପରିମାଣ । ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ ।

ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କେତେକ ଜିଲ୍ଲାରେ ହୋଇଛି ନିଅଣ୍ଟିଆ ବର୍ଷା | ଆଷାଢ଼ ମାସ ଶେଷ ହେବାକୁ ବସିଥିବା ବେଳେ ଆରମ୍ଭ ହୋଇନାହିଁ ଚାଷ କାମ। ସେପଟେ ୧୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

Leave a Reply

Your email address will not be published. Required fields are marked *