August 5, 2026

ବୁଧବାର ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

1 min read

ଭୁବନେଶ୍ୱର : ବୁଧବାର ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ଉପକୂଳ, ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଭାରୀ ବର୍ଷା ହୋଇପାରେ। ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟବର୍ତ୍ତୀ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ମଙ୍ଗଳବାର ଅନେକ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ନୟାଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟାନ୍ୟ ଜିଲାଗୁଡ଼ିକରେ ବଜ୍ରପାତ ସହ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।