August 21, 2026

ଉତ୍ତର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ନିମ୍ନଚାପରେଖା ସକ୍ରିୟ

1 min read

ଭୁବନେଶ୍ବର : ଉତ୍ତର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ନିମ୍ନଚାପରେଖା ସକ୍ରିୟ ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର ଗୋଟିଏରୁ ଦୁଇଟି ଜାଗାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାବ୍ୟତୀତ, ଚଳିତ ମାସ ଶେଷ ସୁଦ୍ଧା ଆଗ ପଛ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି।

ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋରଧା, ପୁରୀ, ଗଞ୍ଜାମ, କଟକ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହ ବର୍ଷା ହୋଇପାରେ। ଏହି ସବୁ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ସ୍ପଷ୍ଟ କରିଛି।