ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ
1 min read
ଭୁବନେଶ୍ୱର: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ସମସ୍ତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଲୋକଭବନ ପରିସରସ୍ଥିତ ନ୍ୟୁ ଅଭିଷେକ ହଲ୍ର ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଚାଲିଥିବା ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କିତ ଏକ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟପାଳ ଏହା କହିଛନ୍ତି।ବୈଠକରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଉଚ୍ଚଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟର କୁଳପତି ଓ କୁଳସଚିବ,ବିଭାଗର ବରିଷ୍ଠ ଅଧିକାରୀ ଏବଂ ଲୋକଭବନର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।ରାଜ୍ୟପାଳ କହିଥିଲେ ଯେ, ରାଜ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ କୁଳପତି ନିଯୁକ୍ତି ପରେ ଖାଲି ଥିବା ଶିକ୍ଷକ ପଦବୀଗୁଡ଼ିକ ପୂରଣ କରିବା ଏବେ ଏକ ପ୍ରମୁଖ ଆହ୍ୱାନ। ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଗୋଟିଏ ଦିନରେ ୧୪ଟି ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଥିବା ଉଲ୍ଲେଖ କରି ସେ କହିଥିଲେ ଯେ, ଏବେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ପାଇଁ ସ୍ପଷ୍ଟ ସମୟସୀମା ଧାର୍ଯ୍ୟ କରାଯିବା ଆବଶ୍ୟକ।ଶିକ୍ଷକ ନିଯୁକ୍ତିରେ ମେଧାକୁ ପ୍ରାଥମିକତା ଦିଆଯିବା ଉଚିତ। ଗୁଣବତ୍ତା ଓ ମେଧା ସହ କୌଣସି ପ୍ରକାର ସାଲିସ୍ କରାଯାଇପାରିବ ନାହିଁ ବୋଲି ରାଜ୍ୟପାଳ କହିବା ସହ ସର୍ବୋତ୍ତମ ଯୋଗ୍ୟତାସମ୍ପନ୍ନ ଅଧ୍ୟାପକଙ୍କୁ ନିଯୁକ୍ତି ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ।


