April 7, 2026

ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

1 min read

ଛତ୍ରପୁର: ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି l ଦଳୀୟ ନେତା ଓ କର୍ମୀ ଏବଂ ଶୁଭେଚ୍ଛୁ ମାନେ ଶ୍ରୀ ସେଠୀଙ୍କୁ ଗଞ୍ଜାମ ଜିଲ୍ଲାପରିଷଦ ଭଵନ ନିକଟକୁ ଏକ ଶୋଭାଯାତ୍ର ମାଧ୍ୟମରେ ପାଛୋଟି ଆଣିଥିଲେ l ସେଠାରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତିଭାସନ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ l

ପରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଓ ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର ଶ୍ରୀ ସେଠୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ତାଙ୍କୁ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କ ଆସନରେ ବସାଇଥିଲେ l ଏହାପରେ ଗଞ୍ଜାମ ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା ଓ କାର୍ଯ୍ୟାଳୟର ଅନ୍ୟାନ୍ୟ ଅଧିକାରୀ ଓ ତାଙ୍କର ଶୁଭେଚ୍ଛୁମାନେ ଫୁଲତୋଡ଼ା ଦେଇ ସ୍ୱାଗତ ଶୁଭେଚ୍ଛା ଜଣାଇଥିଲେ l ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ପୂର୍ଣ୍ଣଚନ୍ଦ୍ର ସେଠୀ ଦାୟିତ୍ୱ ଗ୍ରହଣ କରିବା ପରେ ଦେଶର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭା ସାଂସଦ ତଥା ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଧନ୍ୟବାଦ ଜଣାଇଥିଲେ l